ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ । ସେ ସର୍ବଦା ଦରିଦ୍ର ଅବହେଳିତ, ଦଳିତଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିନେଇଥିଲେ । ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା । ସେ ସଂଭ୍ରାନ୍ତ ଓ ଜମିଦାର ପରିବାରର ବ୍ୟକ୍ତିଥିଲେ ମଧ୍ୟ ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା ଜୀବନ ସଂଗ୍ରାମ ଜାରି ରଖିଥିଲେ । ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ଅସହଯୋଗ ଆନ୍ଦୋଳନରେ ସେ ଯୋଗଦେଇଥିଲେ । ସେତେବେଳେ ଓଡ଼ିଶାର ଛାତ୍ର ଓ ଯୁବକମାନଙ୍କ ଭିତରେ ବିପୁଳ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି ହୋଇଥିଲା ।

