ପବିତ୍ର ଦେବସ୍ନାନ ପୂର୍ଣ୍ଣିମା : ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୁରତି – ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା

ଓଡ଼ିଶା ତାଜା ନ୍ୟୁଜ୍/୧୪ ଜୁନ ମଙ୍ଗଳବାର/ପୁରୀ :- ଦେବସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ଅନୁଷ୍ଠିତ ହୁଏ । ଏହାକୁ ମଧ୍ୟ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ । ଯେଉଁ ବର୍ଷ ଯୋଡା ଆଷାଢ଼ ପଡେ,ଉକ୍ତ ବର୍ଷ ଶ୍ରୀକ୍ଷେତ୍ରରେ ନବକଳେବର ଅନୁଷ୍ଠିତ ହୁଏ । ଏହି ଦିନରେ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ ।

ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କୁ ୧୦୮ ପୂର୍ଣ୍ଣକୁମ୍ଭରେ ଗାଧୋଇ ଦିଆଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି । ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନପରି ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ,ସକାଳଧୂପ, ଦ୍ଵିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ଵଳ୍ପସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି କ୍ଷ ପ୍ରଭୁଙ୍କର ସେନାପଟା ଓ ବାହୁଟିନାଗି ହୁଏ ।

ରତ୍ନ ସିଂହାସନ ଉପରେ ମଙ୍ଗଳାର୍ପଣ କରାଯାଏ ।ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କୁ ସେବକମାନେ ସମୂହ ଭାବରେ ମିଶି ପହଣ୍ଡି କରାଇ ସାତ ପାହଚ ପାଖକୁ ଆଣନ୍ତି । ସାତ ପାହଚ ପାଖରେ ଫୁଲରେ ତିଆରି ବଡ଼ ଟାହିଆରେ ମଣ୍ଡିତ କରାଯାଏ । ଏହି ସାତପାହଚ ଉପରେ ଟାହ୍ୟାନାଗି ହେବାପରେ ଦ୍ଵିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି କ୍ଷ ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି କ୍ଷ ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ଵର୍ଣ୍ଣକୂପରୁ ଜଳ ଆଣନ୍ତି ।

ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ବୈଦିକ ତାନ୍ତ୍ରିିକ ଓ ପୁରାଣ ଶାସ୍ତ୍ର ପରମ୍ପରାରେ ସମୃଦ୍ଧ ହୋଇଥିବା ବେଳେ ଇତିହାସ, ଭକ୍ତିମୂଳକ ଲୋକ ବିଶ୍ବାସ ପରମ୍ପରାରେ ମଧ୍ୟ ମହିମା ମଣ୍ଡିତ ହୋଇଅଛି । ବୈଦିକ ବିଧିରେ ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ ।

ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ\’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ବାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅବିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ କ୍ଷ ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ \”ପ୍ରତ୍ୟେକ୍ଷ ଅବକାଶ\” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ ।

ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠ ଦ୍ଵାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ । ତାପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର‌୍ୟ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ଵରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥ ଙ୍କୁ ଦର୍ଶନ କରନ୍ତି ।

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ନିହିତ । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ବୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ ।

ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।

Exit mobile version