୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଛନ୍ତି ।
ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀ କେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି ।
ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।