ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ଥିବାବେଳେ ଆସନ୍ତା ଅକ୍ଟୋବର ୨୬ ରୁ ୨୮ ତାରିଖ ମଧ୍ୟରେ ମାଲକାନଗିରି ଜିଲ୍ଲାରେ ବ୍ୟାପକ ବର୍ଷାର ପୂର୍ବାନୁମାନ କରାଯାଇଛି। ଏହି ସମ୍ଭାବ୍ୟ ବିପର୍ଯ୍ୟୟର ସଫଳ ମୁକାବିଲା ଓ ପୂର୍ବପ୍ରସ୍ତୁତି ନିମନ୍ତେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥି ସରାବୁ, ଉପ-ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଶ୍ମିରଞ୍ଜନ ସେନାପତି ଏବଂ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଦୀପ୍ତି ରଞ୍ଜନ ସାହୁ ଉପସ୍ଥିତ ରହି ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।
















