No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୨ ଡିସେମ୍ବର ଶନିବାର ) ଭୁବନେଶ୍ୱର :- ସ୍କୁଲ, କଲେଜ ଖୋଲିବା ନେଇ ବିଭିନ୍ନ ବିଭାଗ ପକ୍ଷରୁ ଭିନ୍ନ ଭିନ୍ନ ମତ ଦିଆ ଯାଉଥିବା ବେଳେ ଏହାକୁ ନାପସନ୍ଦ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଭଳି ମନ୍ତବ୍ୟ ନଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଗିଦ୍ କରିଛନ୍ତି । କୋଭିଡ୍ ସ୍ଥିତିକୁ ଆକଳନ କରିବା ପରେ ଯାହା ଠିକ୍ ସରକାର ଉପଯୁକ୍ତ ପଦକ୍ଷେପ ନେବେ । ତେଣୁ ଏଭଳି ବୟାନବାଜିରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଭିଡ୍ ମୁକାବିଲାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର କୋଭିଡ୍ ମୁକାବିଲା କାର୍ଯ୍ୟକ୍ରମକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ କହିଛନ୍ତି- ପୂଜା ସମୟରେ ଯେଉଁ ଆଶଙ୍କା ଥିଲା, ତାକୁ ସଫଳତାର ସହ ଦୂରୀଭୂତ କରାଯାଇ ପାରିଛି । ସେହିପରି ଶୀତଋତୁର ଆଶଙ୍କା ମଧ୍ୟ ଦୂରୀଭୂତ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ । କୋଭିଡ୍ ପରିଚାଳନାରେ ଓଡ଼ିଶା ଦେଶର ଶ୍ରେଷ୍ଠ ରାଜ୍ୟମାନଙ୍କ ମଧ୍ୟରେ ସ୍ଥାନ ପାଇଛି ଏବଂ ଏହାକୁ ନୀତି ଆୟୋଗ ମଧ୍ୟ ପ୍ରଶଂସା କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଭିଡ-୧୯ ଯୋଗୁ ଉପୁଜିଥିବା ଅର୍ଥନୈତିକ ଆହ୍ୱାନର ମୁକାବିଲା ପାଇଁ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ସଜାଗ ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସେ କହିଥିଲେ ଯେ- ରାଜ୍ୟ ସରକାର ଜୀବିକା ସୃଷ୍ଟି ସମ୍ପର୍କିତ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଛନ୍ତି । ଜୀବିକା କାର୍ଯ୍ୟକ୍ରମ ସହିତ ଚାଷୀ, ମିଶନ ଶକ୍ତି, କୃଷକ ଓ MSME ମାନଙ୍କୁ ଋଣ ପ୍ରଦାନ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଡିସେମ୍ବର ୨୨ ତାରିଖ ଦିନ ଜିଲ୍ଲାପାଳ ଓ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ସମୀକ୍ଷା କରିବେ ବୋଲି କହିଥିଲେ । ଏହିସବୁ ଜୀବିକା କାର୍ଯ୍ୟକ୍ରମକୁ ଋଣ ପ୍ରଦାନରେ ଅବହେଳାକୁ ଆଦୌ ବରଦାସ୍ତ କରାଯିବ ନାହିଁ । ଅବହେଳା କରୁଥିବା ବ୍ୟାଙ୍କ ସମ୍ପର୍କରେ ସେହି ଦିନ ହିଁ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟକୁ ଅବଗତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଦେଶରେ ଟୀକାକରଣ ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ- ଏଥିପାଇଁ ଓଡ଼ିଶାରେ ସମ୍ପୂର୍ଣ୍ଣ ଡାଟାବେସ୍ ପ୍ରସ୍ତୁତ ହୋଇଛି ଏବଂ ଆନୁସଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଛି । ତେବେ ଦେଶରେ ଟୀକାକରଣ ପ୍ରକ୍ରିୟା ଏକ ବର୍ଷରୁ ମଧ୍ୟ ଅଧିକ ସମୟ ଲାଗିପାରେ ବୋଲି ଅନୁମାନ କରାଯାଉଛି ବୋଲି ପ୍ରକାଶ କରି ଏ ସମୟରେ ସମସ୍ତ ପ୍ରକାର କୋଭିଡ୍ ନିୟମାବଳୀକୁ ପୂର୍ବ ଭଳି ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ । କୋଭିଡ୍ ନିୟମାବଳୀ ଓ ଟୀକାକରଣ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଉପଯୁକ୍ତ ସୂଚନା ଅଭିଯାନ ମଧ୍ୟ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଥିଲେ ।
No Result
View All Result