No Result
View All Result
ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ – ମୁଖ୍ୟମନ୍ତ୍ରୀ
ଓଡ଼ିଶା ତାଜା ନ୍ୟୁଜ୍ (୧୨ ଫେବୃଆରୀ ଶୁକ୍ରବାର ) ଭୁବନେଶ୍ୱର :– ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି । ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ 2019 ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା । ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି ।
ବିଶ୍ବବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ । ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି ।’
କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା । କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଭାଇ ସଂଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି । ‘ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀଙ୍କ ପାଇଁ ଆରମ୍ଭରୁ ସେ କାମ କରିଆସିଛନ୍ତି ଏବଂ କରିଚାଲିବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଭଲ ରହିଲେ ଦେଶ ଓ ସମାଜ ଭଲରେ ରହିବ। ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଚାଷୀଭାଇ ପାଇଁ ବିଭିନ୍ନ ଯୋଜନା କରିଆସୁଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ MSPକୁ ଦୁଇ ଗୁଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବୀ କରିଆସୁଛନ୍ତି । ଏହାସହିତ କୃଷିଜାତ ଜିନିଷ ପାଇଁ Marketing Infrastructureକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ସେ କହିଥିଲେ । ଚାଷୀଭାଇମାନେ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ନେବେ ଏବଂ ରାଜ୍ୟର ବିକାଶ ଧାରାକୁ ଆଗେଇ ନେବେ ବୋଲି ସେ ଆଶାପ୍ରକାଶ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସଂପର୍କରେ ଆଲୋଚନା କରିଥିଲେ । ସୁନ୍ଦରଗଡ,ର କୁମାରୀ ମାରାଇ ବରଗଡ,ମାଣିକ ପ୍ରଧାନ ନବରଂଗପୁର, ର ଘନ ପାଇକ ନୟାଗଡ ର ଦାଶରଥି ସାହୁ ଓ ମୟୁରଭଂଜର ଚାଷୀମାନେ କାଳିଆ ସହାୟତା ଦ୍ବାରା କିପରି ଚାଷ ସହିତ ଛେଳିପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମ କରି ସେମାନେ କିପରି ଲାଭବାନ୍ ହୋଇଛନ୍ତି, ସେ ବିଷୟରେ କହି କାଳିଆ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।
ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତ୍ବେ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ବ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ । ଏହି ଅବସରରେ କାଳିଆ ଯୋଜନା ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃଷି ବିଭାଗର ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍.କେ. ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।
No Result
View All Result