
ଓଡ଼ିଶା ତାଜା ନ୍ୟୁଜ (୧୮ ସେପ୍ଟେମ୍ବର ରବିବାର ) ଭୁବନେଶ୍ୱର :- ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଶୁଭ ଉଦ୍ଘାଟନ କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ଦାଶ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲକ୍ଷ୍ୟକୁ ସାକାର କରିବା ପାଇଁ ପ୍ରତ୍ୟେକ ବ୍ଲକ୍ସ୍ତରରେ ଆଦର୍ଶ ବିଦ୍ୟାଳୟମାନ ସ୍ଥାପନା ସହିତ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଛି ।
ଏହି ବିଦ୍ୟାଳୟମାନଙ୍କରେ ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୯୩୪୨୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ଚଳିତ ବର୍ଷ ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ୧୨୪୭ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହେବା ରାଜ୍ୟରେ ଶିକ୍ଷାର ଗୁଣାତ୍ମକ ମାନକୁ ସୂଚାଉଛି ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉପେଦେଷ୍ଟା(ଶିକ୍ଷା) ଶ୍ରୀ ଉପେନ୍ଦ୍ର ତି୍ରପାଠୀ, ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ ଅଶ୍ୱଥୀ ଏସ୍, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ । ଯୁଗ୍ମ ନିର୍ଦ୍ଦେଶିକା ବନ୍ଦନା ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ ।
© 2023 Odisha Taza News.